ଭୁବନେଶ୍ବର: ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ସ୍ଥଳ ପରିବର୍ତ୍ତନ ନେଇ ଚାଲିଥିବା ଚର୍ଚ୍ଚାର ଅବସାନ ହୋଇଛି । ବଦଳିବ ନାହିଁ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଆୟୋଜନ ସ୍ଥଳ । ଗତବର୍ଷ ପରି ଚଳିତବର୍ଷ ମଧ୍ୟ ୟୁନିଟ୍-୩ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି ।
ଚଳିତ ବର୍ଷ ୭୫ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ କୋଭିଡ୍ ମାର୍ଗଦର୍ଶିକା ମଧ୍ୟରେ ୟୁନିଟ୍-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ । ଆଜି ଅପରାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ-୨୦୨୧ ପାଳନର ରୂପରେଖ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ବିଭାଗୀୟ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି । କୋଭିଡ୍ ମାର୍ଗଦର୍ଶିକାର ସଠିକ୍ ଅନୁପାଳନ କରାଯାଇ ସ୍ୱଳ୍ପସଂଖ୍ୟକ ଅତିଥି, କୋଭିଡ୍ ଯୋଦ୍ଧା, ଅଧିକାରୀ ଏବଂ କର୍ମଚାରୀଙ୍କୁ ନେଇ ସ୍ୱାଧୀନତା ଦିବସ ଆୟୋଜିତ ହେବ ।
ସ୍ୱାଧୀନତା ଦିବସ ଆମ ସମସ୍ତଙ୍କ ଭାବାବେଗ ଏବଂ ଗର୍ବର ପ୍ରତୀକ ହୋଇଥିବାରୁ ଉତ୍ସବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ୱ ଦେବାକୁ ପ୍ରମୁଖ ଶାସନ ସଚିବ ବୈଠକରେ ଗୁରୁତ୍ୱ ଦେଇଛନ୍ତି । ଗୃହ ବିଭାଗ ଦ୍ୱାରା ଚିହ୍ନଟ ୟୁନିଟ୍-୩ ପ୍ରଦର୍ଶନୀ ପଡ଼ିଆରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ କରାଯିବ । ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସ୍ୱାଧୀନତା ଦିବସ ଉତ୍ସବର ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧା ପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜ୍ଜା, ନିମନ୍ତ୍ରିତ ଅତିଥି ଓ କୋଭିଡ୍ ଯୋଦ୍ଧାଙ୍କ ଉପବେଶନ ବ୍ୟବସ୍ଥା ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଛି ।
ଚଳିତ ସ୍ୱାଧୀନତା ଦିବସ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିିଭିନ୍ନ କୋଠା, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାର ଆଲୋକୀକରଣ ବିଷୟରେ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଉତ୍ସବ ସ୍ଥଳର ସାନିଟାଇଜେସନ୍ ଓ ପିଇବା ପାଣି ବ୍ୟବସ୍ଥା କରାଯିବ । ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍ ନିୟନ୍ତ୍ରଣକୁ ଡିସିପି, ଭୁବନେଶ୍ୱର ପରିଚାଳନା କରିବେ । ପୂର୍ବବର୍ଷ ପରି ନୂଆଦିଲ୍ଲୀ, କୋଲକାତା, ଚେନ୍ନାଇ, ମୁମ୍ବାଇରେ ବିଭାଗ ପକ୍ଷରୁ ଉତ୍ସବ ପାଳନ କରାଯିବ । ସେହିପରି ଆର୍ଡିସି ଜୋନ୍, ଜିଲ୍ଲା ଏବଂ ଉପଖଣ୍ଡ ସ୍ତରରେ କୋଭିଡ୍ ନିୟମାବଳୀ ମଧ୍ୟରେ ସ୍ୱାଧୀନତା ଦିବସ ପାଳନ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି ।
ଏହି ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ଇନ୍ଦ୍ରମଣି ତି୍ରପାଠୀ, ବୈଷୟିକ ନିର୍ଦ୍ଦେଶକ ନିରଞ୍ଜନ ସେଠୀ, ଓଡ଼ିଶା ରିଭ୍ୟୁ ଓ ଉତ୍କଳ ପ୍ରସଙ୍ଗର ସଂପାଦକ ଡ. ଲେନିନ୍ ମହାନ୍ତି, ଯୁଗ୍ମ ଶାସନ ସଚିବ ବିଷ୍ଣୁପ୍ରିୟା ସାହୁ, ଅତିରିକ୍ତ ନିର୍ଦ୍ଦେଶକ ପ୍ରମୋଦ କୁମାର ମଲ୍ଲିକ, ଯୁଗ୍ମ ନିର୍ଦ୍ଦେଶକ ସୁରେନ୍ଦ୍ର କୁମାର ପରିଡ଼ା ଏବଂ ଉପନିର୍ଦ୍ଦେଶକ ସନ୍ତୋଷ କୁମାର ଦାସଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ସୁଚେତା ପ୍ରିୟଦର୍ଶନୀ କାର୍ଯ୍ୟକ୍ରମ ସଂପର୍କରେ ବିବରଣୀ ଉପସ୍ଥାପନା କରିଥିଲେ ।
ଭୁବନେଶ୍ବରରୁ ବିକାଶ କୁମାର ଦାସ,ଇଟିଭି ଭାରତ