ଭୁବନେଶ୍ବର: ବର୍ଷା ପରେ ପୁଣି ଫେରିବ ଶୀତ । ଉପାନ୍ତରୁ ଉପକୂଳ ଥରିବ ଓଡିଶା । ସ୍ବାଭାବିକ ଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହେବ । ଏହାକୁ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଦୁଇ ଦିନ ପରେ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡିଶାରେ ପାରଦ ଖସିବ । ଫଳରେ ସର୍ବନିମ୍ନ ତାପମାତ୍ରାରେ ପରିବର୍ତ୍ତନ ହେବା ସହ ପୁଣି ଏକ ସପ୍ତାହ ପର୍ଯ୍ୟନ୍ତ ଜାଡ଼ରେ ଥରିବ ଓଡ଼ିଶା ।
ପ୍ରବଳ ଶୀତ ସହ ଘନ କୁହୁଡ଼ିରେ ଜନଜୀବନ ଅସ୍ତବ୍ୟସ୍ତ ହେବ । ରାଜ୍ୟର ଅଧିକାଂଶ ଜିଲ୍ଲାରେ ରାତି ୧୦ଟାରୁ ସକାଳ ୧୦ ପର୍ଯ୍ୟନ୍ତ ଦୃଶ୍ୟମାନ କ୍ଷମତା କମିବ । ବାୟୁମଣ୍ଡଳର ସ୍ଥିରତା ଏବଂ ପ୍ରଚୁର ପରିମାଣର ଜଳୀୟବାଷ୍ପ ଉପସ୍ଥିତି ପାଇଁ ଏଭଳି ପରିସ୍ଥିତି ସୃଷ୍ଟି ହେବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନ କୁହୁଡ଼ି ପାଇଁ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ ଏବଂ କେନ୍ଦୁଝର ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।
ସେହିପରି ୨୬ ତାରିଖରେ ୧୦ଟି ଜିଲ୍ଲା କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ଖୋର୍ଦ୍ଧା ଏବଂ କଟକକୁ ଘନ କୁହୁଡି ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ୨୭ ତାରିଖରେ ମଧ୍ୟ ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ସେପଟେ ଝାଡ଼ଖଣ୍ଡ ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ସେହିପରି ୨୬ ତାରିଖରେ ମଧ୍ୟ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି ।
ସେପଟେ ଘନ କୁହୁଡି ପାଇଁ ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର । ଘନ କୁହୁଡିରେ ଗାଡ଼ି ଚାଳନା ଉପରେ ସତର୍କ ନଜର ରଖିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବିଶେଷ କରି କୁହୁଡ଼ି ସମୟରେ ପୋଲିସ ଏବଂ ପରିବହନ ବିଭାଗ ଦୁର୍ଘଟଣା ରୋକିବା ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି।
ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ