ଭୁବନେଶ୍ବର: ବଙ୍ଗୋପସାଗରର ଓଡ଼ିଶା ଓ ପଶ୍ଚିମବଙ୍ଗ ମଧ୍ୟବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି । ସେହିପରି ଦକ୍ଷିଣ ଓଡିଶାର ଅଳ୍ପ କେତେକ ସ୍ଥାନରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
ରାଜ୍ୟର ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ବରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଜଗତସିଂହପୁର ଓ ପୁରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ସେହିପରି ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର ଓ ଗଞ୍ଜାମରେ ଘଡଘଡି ସହ ବର୍ଷା ହେବ । ଗତ ୨୪ ଘଣ୍ଟା ଭିତରେ ସମ୍ବଲପୁରର ଯୁଜୁମରା ଠାରେ ସର୍ବାଧିକ ୮୦ ମିମି ବର୍ଷା ହୋଇଥିବା ପାଣିପାଗ ବିଭାଗ ରେକର୍ଡ କରିଛି । ଆସନ୍ତା ୨ ତାରିଖ ଆଡକୁ ଉତ୍ତରପୂର୍ବ ବଙ୍ଗୋପସାଗରରେ ଅନ୍ୟ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଏଚଆର ବିଶ୍ବାସ ସୂଚନା ଦେଇଛନ୍ତି ।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ