ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ତେବେ ଆଗକୁ ଅତିପ୍ରବଳ ବର୍ଷା ହେବା ନେଇ ସ୍ପଷ୍ଟ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେବ । କିଛି ସ୍ଥାନରେ ପ୍ରବଳ ବର୍ଷା ହେବାବେଳେ ଆଉ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଉତ୍ତର ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବାଲେଶ୍ବର,ଭଦ୍ରକ,ଯାଜପୁର,କେନ୍ଦ୍ରାପଡା, ଜଗତସିଂହପୁର, କଟକ,ଢେଙ୍କାନାଳ, ଅନୁଗୁଳ,କେନ୍ଦୁଝର, ମୟୁରଭଞ୍ଜ ଓ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି । ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଉପୁଜିବାର ସମ୍ଭାବନା ରହିଛି । ଏହାସହ ଆକସ୍ମିକ ବନ୍ୟା, କଚ୍ଚା ଘର ଓ ମାଟି ରାସ୍ତା ଭାଙ୍ଗିବା, ସହରାଞ୍ଚଳରେ ଜଳବନ୍ଦୀ ଯୋଗୁ ଟ୍ରାଫିକ ସମସ୍ୟା ଓ ପାହାଡିଆ ଅଞ୍ଚଳରେ ଭୁସ୍ଖଳନ ଭଳି ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି । ସେହିପରି ଝାରସୁଗୁଡା, ବରଗଡ଼,ନବରଙ୍ଗପୁର, ନୂଆପଡା, ମାଲକାନଗିରି, କୋରାପୁଟ,ଗଞ୍ଜାମ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି । ଭୁବନେଶ୍ବର ଓ କଟକରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ୱାର୍ଣ୍ଣିଂ ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ