ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ(Banaka Lagi rituals of Lord Jagannath) । ଏହି ନୀତି ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୫ଟାରୁ ରାତି ୯ଟା ଯାଏଁ ଶ୍ରୀଜୀଉଙ୍କ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ଏହାଦ୍ବାରା ମହାପ୍ରଭୁଙ୍କ ମୁଖ ମଣ୍ଡଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ ।
ପାରମ୍ପରିକ ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ନୀତି ସମୟରେ ଜୟବିଜୟ ଦ୍ବାର ବନ୍ଦ କରାଯାଇଥାଏ ( rituals of Lord Jagannath)। ଏଣୁ ଭକ୍ତମାନେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନ କରିପାରନ୍ତି ନାହିଁ । ଆଜି ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ଠାକୁରଙ୍କ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ଇଟିଭି ଭାରତ, ପୁରୀ