ରଥଖଳା ହାଲଚାଲ: ତିନି ରଥର ଅଖ ଚକ ଡେରା ନୀତି ସମ୍ପନ୍ନ - ପୁରୀରେ ଚାଲିଛି ରଥ ନିର୍ମାଣ

🎬 Watch Now: Feature Video

thumbnail

By

Published : May 22, 2022, 4:16 PM IST

ପୁରୀ: ପାଖେଇ ଆସୁଛି ବିଶ୍ବନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହେବ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା । ମହାବାହୁଙ୍କ ରଥଯାତ୍ରା ପାଇଁ ସବୁବର୍ଷ ପରି ଚଳିତ ବର୍ଷ ମଧ୍ୟ ବିଧି ପରମ୍ପରା ଅନୁଯାୟୀ ଗତ ଅକ୍ଷୟ ତୃତୀୟାଠାରୁ ଆରମ୍ଭ ହୋଇଛି ରଥ ନିର୍ମାଣ କାର୍ଯ୍ୟ । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ରଥଖଳା । ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଥିବା ବେଳେ ଆଜି ତିନି ରଥର ଅଖ ଚକ ଡେରା ନୀତି ସମ୍ପନ୍ନ ହୋଇଛି । ପରମ୍ପରା ଅନୁଯାୟୀ ଭଉଁରୀ ଦିନ ସକାଳଧୂପ ହେବାପରେ ପୂଜାପଣ୍ଡାମାନେ ଶ୍ରୀଜୀଉମାନଙ୍କ ଆଜ୍ଞାମାଳ ଧରି ରଥଖଳାକୁ ଯାଇଥାନ୍ତି । ସେଠାରେ ଶ୍ରୀଅଙ୍ଗ ଲାଗି ଏହି ଆଜ୍ଞାମାଳଗୁଡ଼ିକୁ ମହାରଣା ସେବକମାନେ ପାଇବା ପରେ ନିର୍ମାଣାଧୀନ ୩ ରଥର ୩ଟି ଅଖରେ ଦୁଇଟି ଲେଖାଏଁ ଚକ ସଂଯୋଗ କରିଥାନ୍ତି । ଅନ୍ୟପଟେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ୨୧ଦିନ ବ୍ୟାପି ବାହାର ଚନ୍ଦନଯାତ୍ରାର ଅନ୍ତିମ ଦିବସରେ ଭଉଁରୀଯାତ୍ରା ଅନୁଷ୍ଠିତ ହୋଇଥାଏ । ପରମ୍ପରା ଅନୁଯାୟୀ ମଦନମୋହନ, ବଳରାମ, କୃଷ୍ଣ, ଶ୍ରୀଦେବୀ ଓ ଭୂଦେବୀଙ୍କ ସମେତ ଶ୍ରୀଲୋକନାଥ, ଶ୍ରୀମାର୍କଣ୍ଡେଶ୍ବର, ଶ୍ରୀନୀଳକଣ୍ଠେଶ୍ବର, ଶ୍ରୀଜମ୍ବେଶ୍ବର ଏବଂ ଶ୍ରୀକପାଳମୋଚନଙ୍କୁ ଏକ ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ ନରେନ୍ଦ୍ର ପୁଷ୍କରିଣୀକୁ ବିଜେ କରାଯାଏ । ଭଉଁରୀ ଦିନ କେବଳ ଦିନଚାପ କରାଯାଏ, ରାତ୍ରିଚାପ କରାଯାଏ ନାହିଁ । ଦିନଚାପରେ ନରେନ୍ଦ୍ର ପୋଖରୀର ଦୀପଦାଣ୍ଡି ଚାରିପଟେ ୨୧ ଘେରା ବୁଲାଯାଇଥାଏ । ଠାକୁରମାନେ ନରେନ୍ଦ୍ର ପୋଖରୀରେ ୨୧ଘେରା ଚାପ ଖେଳିବା ପରେ ଶ୍ରୀମନ୍ଦିରକୁ ବାହୁଡ଼ା ବିଜେ କରିଥାନ୍ତି । ଭଉଁରୀଯାତ୍ରା ପରଦିନ ଶ୍ରୀଜୀଉମାନଙ୍କର ହଳଦୀପାଣି ନୀତି ଅନୁଷ୍ଠିତ ହୋଇଥାଏ । ଏଥିରେ ଆଜ୍ଞାମାଳ ପାଇବା ପରେ ବିମାନ ବିଜେ କରି ଠାକୁରମାନେ ନରେନ୍ଦ୍ର ପୁଷ୍କରିଣୀରେ ପହଞ୍ଚିବା ପରେ କେବଳ ମଦନମୋହନ, ଶ୍ରୀଦେବୀ ଓ ଭୂଦେବୀ ଚାପଡଙ୍ଗାକୁ ବିଜେକରି ହଳଦୀପାଣି ପିଚକାରୀ ଖେଳିଥାନ୍ତି । ସେପଟେ ମହାପ୍ରଭୁଙ୍କ ରଥଯାତ୍ରା ଚଳିତ ବର୍ଷ ଭକ୍ତଙ୍କ ଗହଣରେ ଅନୁଷ୍ଠିତ ହେଉ ବୋଲି ଭକ୍ତ ଓ ରଥ ନିର୍ମାଣରେ ଲାଗିଥିବା ବିଶ୍ବକର୍ମା ମହାରଣାମାନେ ମହାପ୍ରଭୁଙ୍କୁ ପ୍ରାର୍ଥନା କରିଛନ୍ତି । ପୁରୀରୁ ଶକ୍ତିପ୍ରସାଦ ମିଶ୍ର, ଇଟିଭି ଭାରତ

ABOUT THE AUTHOR

author-img

...view details

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.